ମାର୍ଗଶୀର ମାସ ଗୁରୁବାର

ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶାବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାର୍ଗଶୀର ମାସ ମାଣବସା ଗୁରୁବାର । ଆଜି ହେଉଛି ମାର୍ଗଶିର ମାସ ଗୁରୁବାର । ଧନଦାତ୍ରି ମା ଲକ୍ଷ୍ମୀଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀ ମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମାଙ୍କୁ ଆବାହନ କରିଥାନ୍ତି । ଏଥି ପାଇଁ ଗାଁ ଠୁ ସହର ଚାରିଆଡେ ଉତ୍ସବର ପରିବେଶ ।

ପୁରାଣରେ ବର୍ଣିତ ଅଛି ମାଙ୍କ ର ଟିକେ କୃପା ମିିଳିଲେ ଗରିବ ଧନୀ ହୋଇଯାଏ । ଏଥିପାଇ ସଧବା ନାରୀ ନିଷ୍ଠା ର ସହ ଏହି ବ୍ରତ କରିଥାନ୍ତି । ଏ ପୂଜା ରେ ଜାତି,ଅଜାତି ନାହିଁ । ବ୍ରାହ୍ମଣ ଠାରୁ ଚଣ୍ଡାଳ ପର୍ଯ୍ୟନ୍ତ ସବୁ ଓଡ଼ିଆଙ୍କ ଘରେ ଏ ପର୍ବ ପାଳନ କରାଯାଏ । ମାର୍ଗଶୀର ମାସ ମାଣବସା ଗୁରୁବାର ୪ ବା ୫ ପାଳି ପଡିଥାଏ । ଏହା ଓଡ଼ିଆଙ୍କ ଛଡ଼ା ଅନ୍ୟ କେଉଁଠି ପାଳିତ ହେଉଥିବା ଦୃଷ୍ଟିଗୋଚର ହୁଏନାହିଁ।ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।

Leave a Reply

Your email address will not be published. Required fields are marked *