୧୮ଯାଏଁ ଢାଳିବ ବର୍ଷା :ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ମଧ୍ୟ ସକ୍ରିୟ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ, ଏହି ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖ ଯାଏଁ ବର୍ଷା ଜାରି ରହିବ।

ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତାକାଲି (୧୬ ଅଗଷ୍ଟ) ଗଜପତି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ, ଉପକୂଳ ଓଡ଼ିଶା ଏବଂ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ। ଏହି ଅଞ୍ଚଳଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୬ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଆହୁରି ବଢ଼ିବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ମାମୂଲି ବର୍ଷା ଜାରି ରହିପାରେ।

ଏହାସହ, ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *